ରାଜ୍ୟ ୩୧/୫ : ଆଜି ହେଉଛି ପବିତ୍ର ଶୀତଳଷଷ୍ଠୀ । ଦେବଦେବ ମହାଦେବଙ୍କ ବିବାହ ଉତ୍ସବ । ମହାଦେବ ସାଜିବେ ବର । ମାତା ପାର୍ବତୀ ସାଜିବେ କନିଆ। ସମ୍ପୂର୍ଣ୍ଣ ବୈଦିକ ରୀତିନୀତିରେ ଅନୁଷ୍ଠିତ ହେବ ବିବାହ। କିଛି ଭକ୍ତ ମା’ ପାର୍ବତୀଙ୍କ ମା’ ବାପା ହୁଅନ୍ତି ଓ ଆଉ କିଛି ଭକ୍ତ ପ୍ରଭୁ ଶଙ୍କରଙ୍କର ବାପା ମ।।ଆ ହୋଇ ଉଭୟଙ୍କର ବିବାହକାର୍ୟ୍ୟ ସମାପନ କରନ୍ତି । ସାଧାରଣ ବାହାଘର ପରି ପାରମ୍ପରିକ ରୀତିରେ ପ୍ରଭୁ ଶଙ୍କରଙ୍କୁ ବରଯାତ୍ରୀଙ୍କ ସହିତ ବଡ଼ ଧୂମ୍ଧାମ୍ରେ ମା’ ପାର୍ବତୀଙ୍କ ଘରକୁ ନେଇ ବୈଦିକ ରୀତିରେ ବିବାହ କରାଯାଏ। ରଙ୍ଗବେରଙ୍ଗ ଚିତ୍ରରେ ସୁଶୋଭିତ ରଥରେ ଶିବ ଓ ମା’ ପାର୍ବତୀଙ୍କୁ ଅଣାଯାଏ। ମଧ୍ୟରାତ୍ରୀରୁ ଏଇ ପଟୁଆର ଆରମ୍ଭ ହୋଇ ପରଦିନ ଦ୍ୱିପ୍ରହର ବେଳକୁ ଶିବପାର୍ବତୀଙ୍କ ପୂଜା ଶେଷହୁଏ। ତେବେ ଶିବ ବିହାହର ପୌରାଣିଙ୍କ ମତ କଣ ରହିଛି ଆସନ୍ତୁ ଜାଣିବା ।
ଶିବ ପୁରାଣ ଅନୁସାରେ ବ୍ରହ୍ମାଙ୍କୁ କଠୋର ତପସ୍ୟା କରି ଦକ୍ଷପ୍ରଜାପତି ମାତା ସତୀଙ୍କୁ ପୁତ୍ରୀ ରୂପେ ପ୍ରାପ୍ତ ହୁଅନ୍ତି। ମା ସତୀଙ୍କର ବିବାହ ବୟସ ହୋଇ ଯାଇଥିଲା । ସେ ପିତାଙ୍କ ଅନିଚ୍ଛା ସତ୍ତ୍ୱେ ଶ୍ମଶାନଚାରୀ ଶିବଙ୍କୁ ବିବାହ କରନ୍ତି। ଏଥିରେ କ୍ଷୁବ୍ଧ ହୋଇ ଦକ୍ଷପ୍ରଜାପତି ଝିଅ ଜ୍ୱାଇଁଙ୍କୁ ଆମନ୍ତ୍ରଣ କରନ୍ତି ନାହିଁ। ମହାଦେବଙ୍କ ଅନିଚ୍ଛା ସତ୍ତ୍ୱେ ଦେବୀ ପାର୍ବତୀ ପିତ୍ରାଳୟ ଯାଆନ୍ତି । ଯଜ୍ଞସ୍ଥଳରେ ଦକ୍ଷପ୍ରଜାପତି ଶିବଙ୍କର ଅପମାନ କଲେ ଏହାକୁ ସହି ନପାରି ସତୀ ଯଜ୍ଞକୁଣ୍ଡରେ ଝାସ ଦେଲେ । ସତୀଙ୍କ ଯଜ୍ଞକୁଣ୍ଡରେ ଝାସଦେବା ଶୁଣି ମହାଦେବ ଯଜ୍ଞସ୍ଥଳକୁ ଧ୍ୱଂସକରି ଦେଲେ। ସେଠାରୁ ସତୀଙ୍କ ଶବକୁ କାନ୍ଧରେ ପକାଇ ଚାରିଆଡେ ଘୁରିବୁଲିଲେ। ବିଷ୍ଣୁ ଚକ୍ରଦ୍ୱାରା ସତୀଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି ଶିବଙ୍କଠାରୁ ଅଲଗା କରିଦେଲେ।
ପରବର୍ତ୍ତୀ ସମୟରେ ବ୍ରହ୍ମାଙ୍କ ବରରେ ବଳିୟାନ ହୋଇ ତାରକାସୁର ଅତ୍ୟାଚାର କଲା। ତାରକାସୁରର ଅତ୍ୟାଚାରରେ ଦେବତାମାନେ ଆତଙ୍କିତ ହୋଇ ବ୍ରହ୍ମାଙ୍କ ଶରଣ ପଶିଲେ। ମାତ୍ର ବ୍ରହ୍ମା, ଶିବଙ୍କ ଔରସରୁ ଜନ୍ମିତ ସନ୍ତାନ ତାରକାସୁରକୁ ବଧ କରିବ ବୋଲି ପ୍ରକାଶ ପରେ ଦେବତାମାନେ ଆଦିଶକ୍ତି ମାତା ପାର୍ବତୀଙ୍କୁ ତପସ୍ୟା କରନ୍ତି। ଦେବଗଣଙ୍କ କଠୋର ତପସ୍ୟା ଯୋଗୁଁ ମାତା ପାର୍ବତୀ ଗିରିରାଜ ହିମାଳୟଙ୍କ ଘରେ ଆବିର୍ଭାବ ହୁଅନ୍ତି। ଜ୍ୟେଷ୍ଠ ଶୁକ୍ଳପକ୍ଷ ପଞ୍ଚମୀ ଦିନ ଶିବ ଓ ମାତା ପାର୍ବତୀଙ୍କ ପୁନଃମିଳନ ହୁଏ। ମହାଦେବ ମାତା ପାର୍ବତୀଙ୍କୁ ପାଇବା ପରେ ରୁଦ୍ର ରୂପ ତ୍ୟାଗ କରି ହୋଇଯାନ୍ତି ଶାନ୍ତ ଶୀତଳ। ଦେବଦମ୍ପତିଙ୍କ ଏହି ମହାମିଳନକୁ ଲୋକାଚାରରେ ଶୀତଳଷଷ୍ଠୀ ଭାବେ ପାଳନ କରାଯାଏ।